ରାଜ୍ୟ

ଖୁବ୍‌ ଶୀଘ୍ର କାର୍ଯ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତୀକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ। ଏହି ଯୋଜନା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସମୁଦାୟ ୬,୭୯୪ଟି ବିଦ୍ୟାଳୟ ନିର୍ମାଣ କରାଯିବ।

ସତ୍ୟବାଦୀ ବନ ବିଦ୍ୟାଳୟରେ ଯେପରି ଏକ ଆଦର୍ଶ ଶିକ୍ଷା ପରିବେଶ ଥିଲା, ସେହିଭଳି ଏହି ବିଦ୍ୟାଳୟ ଗୁଡିକରେ ମଧ୍ୟ ପିଲାମାନଙ୍କ ପାଇଁ ଆଦର୍ଶ ଶିକ୍ଷା ପରିବେଶ ସୃଷ୍ଟି କରିବାକୁ ଲକ୍ଷ୍ୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିରେ ବିଶେଷ କରି ପିଲାମାନଙ୍କର ଭାଷା ଜ୍ଞାନ ଓ ମୌଳିକ ଗାଣିତିକ ଜ୍ଞାନ ଉପରେ ଗୁରୁତ୍ୱ ଆରୋପ କରାଯିବ। ଏହା ଦ୍ୱାରା ପିଲାମାନେ ଉଚ୍ଚତର ଶ୍ରେଣୀରେ ସହଜରେ ଶିକ୍ଷା ଗ୍ରହଣ କରି ପାରିବେ। ଉନ୍ନତ ଭିତ୍ତିଭୂମି, ଗୁଣାତ୍ମକ ଶିକ୍ଷା ଓ ସାମଗ୍ରୀକ ବିକାଶ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇ ପିଲାମାନଙ୍କର ମୌଳିକ ଜ୍ଞାନ ଓ ବୌଦ୍ଧିକ ବିକାଶକୁ ସୁଦୃଢ କରିବା ଦିଗରେ ପଦକ୍ଷେପ ନିଆଯିବ।  

Leave a Reply

Your email address will not be published. Required fields are marked *