ନଭେମ୍ବର ୨୦ରୁ ବରଗଡରୁ ଆରମ୍ଭ ହେବ ଧାନ ସଂଗ୍ରହ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ, ଆଗାମୀ ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ଆଭାସୀ ଜରିଆରେ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନାରୁ ଜଣାଯାଇଛି ଯେ, ତ୍ରୁଟିଶୁନ୍ୟ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ଓ ଜିଲ୍ଲାପାଳ ମାନେ ସମସ୍ତ ପ୍ରସ୍ତୁତି କରିଛନ୍ତି। ଆସନ୍ତା ୨୦ ତାରିଖରେ ବରଗଡ ଜିଲ୍ଲାରୁ ଏହି ଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ ହେବ। ୨୨ ତାରିଖରେ ସମ୍ବଲପୁର ଏବଂ ପରେ ରାଜ୍ୟର ସବୁ ଜିଲ୍ଲାରେ ଏହି ଧାନ ସଂଗ୍ରହ ବ୍ୟବସ୍ଥା ଆରମ୍ଭ ହେବ। ନଭେମ୍ବର ୨୦ ତାରିଖରୁ ଡିସେମ୍ବର ୭ ତାରିଖ ମଧ୍ୟରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୨୩୦୦ ଟଙ୍କା ପ୍ରଦାନ କରାଯିବ।
ଡିସେମ୍ବର ମାସ ୮ ତାରିଖରେ ବରଗଡ ଜିଲ୍ଲା ସୋହେଲା ଠାରେ ଏକ ରାଜ୍ୟ ସ୍ତରୀୟ କୃଷକ ସମାବେଶ ଆୟୋଜନ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କୃଷକ ମାନଙ୍କୁ ଧାନର କୁଇଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ପ୍ରଦାନ କରିବେ। ଡିସେମ୍ବର ୮ ତାରିଖ ଠାରୁ ୨୩୦୦ ଟଙ୍କା ସହିତ ଅତିରିକ୍ତ ୮୦୦ ଟଙ୍କା ଚାଷୀଙ୍କ ବ୍ୟାଙ୍କ ଖାତାକୁ ୪୮ ଘଣ୍ଟା ମଧ୍ୟରେ ଡିବିଟି ଜରିଆରେ ପ୍ରଦାନ କରାଯିବ। କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ସୁବିଧା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଚାଷୀମାନଙ୍କୁ ଧାନ ସଂଗ୍ରହ ବ୍ୟବସ୍ଥା ପାଇଁ ନିଆଯାଇଥିବା ସରକାରୀ ପଦକ୍ଷେପ ସମ୍ପର୍କରେ ବିଭିନ୍ନ ସୂଚନା, ଶିକ୍ଷା ଓ ସଂଚାର କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନ କରାଯାଉଛି।
ମୁଖ୍ୟମନ୍ତ୍ରୀ ଏଥିପାଇଁ ଜିଲ୍ଲାପାଳମାନେ ନେଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ ହୋଇ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବାକୁ ପରାମର୍ଶ ଦେଇଥିଲେ। ବିଭିନ୍ନ ଧାନ ମଣ୍ଡିରେ ଗ୍ରେନ ଆନାଲାଇଜର, ମଣ୍ଡି ସୁପରଭାଇଜର ଆଦି ମୁତୟନ ସମ୍ପର୍କରେ ସୂଚନା ଦିଆଯାଇଥିଲା। ଚାଷୀମାନଙ୍କୁ ଟୋକେନ ପ୍ରଦାନ ୧୫ ତାରିଖରୁ ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଥିଲା। ଜିଲ୍ଲାପାଳମାନେ ଚାହିଁଲେ ଟୋକେନର ସମୟସୀମାକୁ ୭ ଦିନ ପର୍ଯ୍ୟନ୍ତ ବୃଦ୍ଧି କରିପାରିବେ।