ରାଜ୍ୟ

୧୧ଟି ପାର୍ବତୀଗିରି ବୃହତ ଉଠାଜଳସେଚନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୨ ହଜାର କୋଟି

ଭୁବନେଶ୍ବର/ନବରଂଗପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବରଙ୍ଗପୁର ଜିଲ୍ଲା ପାଇଁ ୨ଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଭିତ୍ତି ରଖିଛନ୍ତି। ପାର୍ବତୀଗିରି ବୃହତ ଉଠାଜଳସେଚନ ପ୍ରକଳ୍ପ ଅଧିନରେ ୧୧ଟି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏଥିପାଇଁ ୧୨୭୨ କୋଟି ଟଙ୍କା ଖର୍ଚ୍ଚ କରାଯାଉଥିବା ବେଳେ ଏହା ଦ୍ୱାରା ନନ୍ଦାହାଣ୍ଡି, ନବରଙ୍ଗପୁର ଓ ତେନ୍ତୁଳିଖୁଣ୍ଟି ବ୍ଲକର ପ୍ରାୟ ୧୨୦ଟି ଗାଁର ୫୦ ହଜାର ହେକ୍ଟର ଚାଷଜମିକୁ ପାଣି ମିଳି ପାରିବ। ସେହିପରି ତୁରୀ-ଗୁନ୍ତାତ୍ ଜଳସେଚନ ପ୍ରକଳ୍ପର ମଧ୍ୟ ଭିତ୍ତିପ୍ରସ୍ତର ରଖାଯାଇଛି। ଏହି ପ୍ରକଳ୍ପରେ ୨ଟି ବ୍ୟାରେଜ୍‌ ନିର୍ମାଣ କରାଯିବ। ଏଥିପାଇଁ ୫୭୭ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ଏହା ଦ୍ୱାରା ନବରଙ୍ଗପୁର ଓ କୋଷାଗୁମୁଡା ବ୍ଲକର ୪୦ଟି ଗ୍ରାମର ୨୦ ହଜାର ଏକର ଚାଷଜମିକୁ ପାଣି ମିଳିପାରିବ। ସବୁ ପ୍ରକଳ୍ପରେ ଆଧୁନିକ ଟେକ୍‌ନଲୋଜିର ପ୍ରୟୋଗ କରାଯାଇ ଭୂତଳ ପାଇପ୍‌ଲାଇନ୍‌ ମାଧ୍ୟମରେ ଜଳସେଚନ କରାଯିବ। ଏହା ଦ୍ୱାରା ଏହି ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଯୋଗୁ କୌଣସି ବିସ୍ଥାପନର ଆବଶ୍ୟକତା ନାହିଁ।ଭିଡିଓ କନ୍‌ଫରେନ୍‌ସ ଜରିଆରେ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ନବରଙ୍ଗପୁର ଜିଲ୍ଲା ପାଇଁ ମୋର ସ୍ବତନ୍ତ୍ର ଧ୍ୟାନ ରହିଛି। ମାର୍ଚ୍ଚ ମାସରେ ମୋ ନିର୍ଦ୍ଦେଶରେ ୫ଟି ଅଧ୍ୟକ୍ଷ ନବରଙ୍ଗପୁର ଯାଇଥିଲେ। ଆପଣମାନଙ୍କ ସହିତ ମିଶିଥିଲେ। ବିଭିନ୍ନ ବିକାଶ କାମ ବୁଲି ଦେଖିଥିଲେ । ଆପଣମାନଙ୍କ ଯାହା ସବୁ ପ୍ରସ୍ତାବ ଅଛି, ସବୁ ଆମେ କାର୍ଯ୍ୟକାରୀ କରିବୁ । ଆଗାମୀ କିଛି ବର୍ଷ ମଧ୍ୟରେ ନବରଙ୍ଗପୁରର ଭିତ୍ତିଭୂମି କ୍ଷେତ୍ରରେ ବହୁତ ବଡ ରୂପାନ୍ତର ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଆଜି ନବରଙ୍ଗପୁର ଜିଲ୍ଲା ପାଇଁ ଏକ ଖୁସିର ଦିନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ କିଛି ଦିନ ତଳେ ଲକ୍ଷ୍ମୀ ଯୋଜନା ଆରମ୍ଭ ସମୟରେ ମୁଁ ଆପଣମାନଙ୍କୁ ଭେଟିଥିଲି। ମୋର ବିଶ୍ବାସ, ଲକ୍ଷ୍ମୀ ଯୋଜନା ଆପଣଙ୍କ ଜୀବନଧାରାକୁ ସହଜ କରୁଥିବ।

Leave a Reply

Your email address will not be published. Required fields are marked *