ଭୁବନେଶ୍ୱର: ପୁଲିସ ଏସଆଇ ପରୀକ୍ଷା ପରିଚାଳନାରେ ଅନିୟମିତତାକୁ ନେଇ ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଥିବା ବେଳେ ଏହା ଉପରେ ସରକାର କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ କୌଣସି ପରିସ୍ଥିତିରେ ଅନିୟମିତତାକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି ଚେତାବନୀ ଦେବା ସହିତ ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳ ନୀତି ଅପଣାଯିବ ବୋଲି କହିଛନ୍ତି। ସରକାରଙ୍କ ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଁ ପ୍ରତିଦ୍ୱନ୍ଦ୍ୱିତାମୂଳକ ପରୀକ୍ଷା ଆୟୋଜନରେ ସ୍ୱଚ୍ଛତା ରକ୍ଷା ତଥା ଦୁର୍ନୀତି ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ ପ୍ରଥମ ଥର ପାଇଁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଷ୍ଟାଣ୍ଡାର୍ଡ଼ ଅପରେଟିଂ ପ୍ରସିଡ଼ୁଅର(ଏସଓପି) ବା ମାର୍ଗଦର୍ଶିକା ଜାରି କରାଯାଇଛି। ଇତିମଧ୍ୟରେ ରାଜ୍ୟ ସରକାର ୨୦୨୪ ଜୁନରୁ ଏ ପର୍ଯ୍ୟନ୍ତ ଅନୁଷ୍ଠିତ ନିଯୁକ୍ତି ଭିତ୍ତିକ ପରୀକ୍ଷା ସଂକ୍ରାନ୍ତ ଅନିୟମିତତା ପ୍ରସଙ୍ଗରେ ସାଧାରଣ ପ୍ରଶାସନ ବିଭାଗକୁ ରିପୋର୍ଟ ମାଗିବା ସହିତ ପୂର୍ବ ସରକାର ଅମଳରୁ କ୍ରମାଗତ ଭାବେ ଚାଲିଥିବା ପରୀକ୍ଷା ଦୁର୍ନୀତି ଉପରୁ ପରଦା ହଟାଇବା ପାଇଁ ଜୋରସୋର ଉଦ୍ୟମ ଚଳାଇଛନ୍ତି।
ଏସଆଇ ପରୀକ୍ଷା ବାତିଲ ହେବା ପରେ ଏହାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଥିପାଇଁ ବିରୋଧୀ-ଶାସକ ମଧ୍ୟରେ ବାଦ-ବିବାଦ ଲାଗିରହିଛି। ଘଟଣାରେ ବହୁ ପ୍ରଭାବଶାଳୀ ଲୋକଙ୍କ ସଂପୃକ୍ତି ଥିବା ଚର୍ଚ୍ଚା ହେଉଥିବାବେଳେ କେତେକ ଏହାକୁ କେବଳ ରାଜନୀତି ଭିତରେ ସୀମିତ ରଖିବାକୁ ଉଦ୍ୟମ କରୁଛନ୍ତି। ଓଡ଼ିଶା ପୁଲିସ ରିକ୍ରୁଇଟମେଣ୍ଟ ବୋଡ଼, ପରୀକ୍ଷା ଦାୟିତ୍ୱରେ ଥିବା ମୁଖିଆଙ୍କ କାର୍ଯ୍ୟକଳା, ପରୀକ୍ଷା ପରିଚାଳନା ଦାୟିତ୍ୱ ନେଇଥିବା ସଂସ୍ଥା, ଦାୟିତ୍ୱ ହସ୍ତାନ୍ତରିତ ହୋଇଥିବା ଆଉଟସୋର୍ସିଂ ସଂସ୍ଥା ଏବେ ସନ୍ଦେହ ଘେରରେ ଥିବାବେଳେ କ୍ରାଇମବ୍ରାଞ୍ଚ ପକ୍ଷରୁ ଏହାର ତଦନ୍ତ ଚାଲିଛି।
ଓଡ଼ିଶାରେ ୨୦୨୧ରୁ କାୟାବିସ୍ତାର କରିଥିବା ଏକ ସଂସ୍ଥା ଏକାଧିକ ପରୀକ୍ଷା ଦାୟିତ୍ୱ ନେଇଥିବାବେଳେ ଏଥିରୁ ଅନେକ ଅନିୟମିତତା କାରଣରୁ ବାତିଲ ହୋଇଥିଲା। ସେସବୁର ମଧ୍ୟ ଖୋଳତାଡ଼ ଆରମ୍ଭ ହୋଇଛି। ଏହାଛଡ଼ା ପରୀକ୍ଷା ଅନିୟମିତତା କାରବାରରେ ଲିପ୍ତ ଥିବା କିଛି ପ୍ରଭାବଶାଳୀଙ୍କ ପ୍ରତିଷ୍ଠିତ କୋଚିଂ ସେଣ୍ଟର ଉପରେ ମଧ୍ୟ
